ଭୁବନେଶ୍ୱର, ଅଗଷ୍ଟ ୨୩ (ଲୋକାଲ ୱାୟାର) : ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ଦାନା ବାନ୍ଧୁଥିବା ବେଳେ ଏହା ରବିବାର ସନ୍ଧ୍ୟାବେଳକୁ ସକ୍ରିୟ ହେବା ସହ ୨୪ ତାରିଖରୁ ୨୬ ତାରିଖ ପର୍ଯ୍ୟନ୍ତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷାହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି।

ରବିବାର ରାଜ୍ୟର ଅନେକ ସ୍ଥାନରେ ହାଲୁକାରରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, କଟକ, ଯାଜପୁର, ମୟୂରଭଞ୍ଜ, ଢେଙ୍କାନାଳ, କେନ୍ଦୁଝର, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାର ଗୋଟିଏ ଦୁଇଟି ଜାଗାରେ ବର୍ଷା ହୋଇପାରେ ।

ସେହିପରି ୨୪ ତାରିଖ ପାଇଁ ପାଣିପାଗ ବିଭାଗ ପୁରୀ ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ମୟୂରଭଞ୍ଜ, ଢେଙ୍କାନାଳ, କେନ୍ଦୁଝର, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଥିବା ବେଳେ ୨୫ ତାରିଖ ପାଇଁ ବାଲେଶ୍ୱର, ଭଦ୍ରକ ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଢେଙ୍କାନାଳ, କେନ୍ଦୁଝର, ଅନୁଗୁଳ ଓ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏଥିସହିତ ୨୫ ତାରିଖ ପାଇଁ ଦେବଗଡ଼, ସୁନ୍ଦରଗଡ଼, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ଥିବାରୁ ସେହି ଜିଲ୍ଲାଗୁଡ଼ିକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

୨୬ ତାରିଖ ପାଇଁ ପାଣିପାଗ ବିଭାଗ ପକ୍ଷରୁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଦେବଗଡ଼, ଅନୁଗୁଳ, ସମ୍ବଲପୁର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷାହେବା ସମ୍ଭାବନା ଥିବାଯୋଗୁଁ ସେହି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ଲୋକାଲ ୱାୟାର